ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ଦୂରହେଲା
ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା। ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ୬ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ୱ ଛୁଟି ନେଇପାରିବେ ।
କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ। ତେଣୁ ଏହି କ୍ଷେତ୍ରରେ ମାତୃତ୍ୱ ଛୁଟି ୧୮୦ ଦିନରୁ କମ୍ ହେବ।ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ ।ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ ।